୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବହୁ ଜିଲ୍ଲାରେ ଝଡ଼ବର୍ଷା: ଜାରି ହେଲା ୟେଲୋଓ୍ଵାର୍ଣ୍ଣିଂ

0
292
Heavy rainfall alert for odisha

ଭୁବନେଶ୍ୱର: ଦକ୍ଷିଣ- ପଶ୍ଚିମ ମୋସୁମୀ ବାୟୁ ସମଗ୍ର ରାଜ୍ୟକୁ ଅଗ୍ରସର ହେବାକୁ ପ୍ରାୟସ ଜାରି ରଖିଛି। ରାଜ୍ୟର ପାଗ ଏବେ ଅନୁକୂଳ ରହିଥିବାରୁ ଆସନ୍ତା ଦିନେରୁ ଦୁଇଦିନ ମଧ୍ୟରେ ମୌସୁମୀ ସମଗ୍ର ରାଜ୍ୟକୁ ଅଗ୍ରସର ହେବାର ସମ୍ଭାବନା ରହିଛି। ଏପରିସ୍ଥିତିରେ ଆଗାମୀ ୫ ଦିନ ପର୍ଯ୍ୟନ୍ତ ତମାମ ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ଜନିତ ଝଡ଼ବର୍ଷାର ସମ୍ଭାବନା ରହିଛି ବୋଲି କହିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।

ତେବେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଅର୍ଥାତ ୨୦ ତାରିଖ, ସୋମବାର ମଧ୍ୟାହ୍ନ ସୁଦ୍ଧା ଓଡିଶାର ଜିଲ୍ଲାଗୁଡ଼ିକରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ବିଶେଷ କରି ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ନୟାଗଡ଼ ଓ ମୟୂରଭଞ୍ଜ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଆଜି ଅପରାହ୍ନରେ ଏକ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।

ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସମସ୍ତ ଜିଲ୍ଲା ପାଇଁ ୟେଲୋଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଅନ୍ୟପକ୍ଷରେ ଏହି ସମୟ ମଧ୍ୟରେ ଆଭ୍ୟନ୍ତରୀଣ ଓଡିଶାର ଜିଲ୍ଲା ଏବଂ ଉପକୂଳ ଓଡିଶାର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନାରେ କୁହାଯାଇଛି।

ଭୁବନେଶ୍ୱର ଓ କଟକ ଆଖପାଖ ଅଞ୍ଚଳର ଆକାଶ ଆଂଶିକ ମେଘୁଆ ରହିବା ସହ ଭୁବନେଶ୍ୱରର କିଛି ସ୍ଥାନରେ ମଧ୍ୟମରୁ ହାଲୁକା ବର୍ଷା ସହ ବଜ୍ରପାତ ଓ କଟକର କିଛି ସ୍ଥାନରେ ହାଲୁକା ବର୍ଷା ସହ ବଜ୍ରପାତ ହୋଇପାରେ। ଅନ୍ୟପକ୍ଷରେ ଆସନ୍ତା ୪ରୁ ୫ ଦିନ ପର୍ଯ୍ୟନ୍ତ ଓଡ଼ିଶାର ଅଧିକାଂଶ ଜିଲ୍ଲାଗୁଡ଼ିକର ଅନେକ ସ୍ଥାନରେ ସର୍ବାଧିକ ତାପମାତ୍ରା (ଦିନର ତାପମାତ୍ରା)ରେ କୌଣସି ବଡ଼ ଧରଣର ପରିବର୍ତ୍ତନ ସମ୍ଭାବନା ନଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନାରେ କୁହାଯାଇଛି।

Also Read  ଘରକୁ ଘର ବୁଲିବା ଯୋଗୁ ବଢ଼ୁଛି ଟିକାକରଣ : ଦୀପାବଳୀରେ ସଚେତନ ହେବାକୁ ପଡ଼ିବ